ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀକରଣର ଗୁରୁଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି। ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି। ବିଭିନ୍ନ ସ୍କିମ୍ ଓ ବଜେଟ୍ ମାଧ୍ୟମରେ ବିଭାଗକୁ ମିଳୁଥିବା ଅର୍ଥରାଶିର ଶତପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତମାନର ଗମନା ଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏଥିସହିତ ରାସ୍ତା ଓ ସେତୁ ଗୁଡିକର ଗୁଣବତ୍ତା ସହିତ ଏହାର ରକ୍ଷଣା ବେକ୍ଷଣ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପାହାଡିଆ ଅଞ୍ଚଳରେ ଥିବା ଗ୍ରାମଗୁଡିକରେ ଲୋକଙ୍କ ଗମନାଗମନ ପାଇଁ ଉତ୍ତମ ମାନର ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର୍ଯ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି। ଏହି ପର୍ଯ୍ୟାୟରେ ଆଦିବାସୀ ଅଧ୍ୟୁସିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି।
ସେହିଭଳି ୧୦୦ରୁ ଅଧିକ ପିଭିଜିଟି ବର୍ଗର ଜନବସତି ଗୁଡ଼ିକର ସଂଯୋଗୀକରଣ ପାଇଁ ପିଏମ୍ ଜନମନ୍ ଯୋଜନାରେ ୭୩ଟି ଗ୍ରାମରେ ୬୬ଟି ରାସ୍ତା ଓ ୪ଟି ସେତୁ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି।
ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ଯଥା-ଛାତ୍ରାବାସ, ମହାବିଦ୍ୟାଳୟ ଗୃହ ନିର୍ମାଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ, ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ଇତ୍ୟାଦି ନିର୍ମାଣ କାର୍ଯ୍ୟ ମଧ୍ୟ ଜାରିରହିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଭାଗ ପକ୍ଷରୁ ୪୫୧ଟି ବିଭିନ୍ନ କୋଠାବାଡି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୧୨୨୯ଟି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି।
ବୈଠକରେ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ବିଭାଗୀୟ କମିସନର ତଥା ଶାସନ ସଚିବ ୟାମିନୀ ଷଡଙ୍ଗୀ, ସର୍ବୋଚ୍ଚ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସାହୁ ଏବଂ ଇଂ ପ୍ରଦୀପ କୁମାର ଜେନା ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।
Post Views: 374