ଲଘୁଚାପ ପ୍ରଭାବ, ଆଉ ୨୪ ଘଣ୍ଟା ବର୍ଷା

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଯାଇଛି। ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଓଡ଼ିଶା ଉପକୂଳ ତଥା ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତାକାଲି ଆଭ୍ୟନ୍ତରୀଣ ଜିଲ୍ଲା ଯଥା ବରଗଡ଼, ଝାରସୁଗୁଡ଼ା,‌ କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Spread the love