ମିହିର ଦାସଙ୍କ ପରଲୋକ : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର, ୧୨|୦୧: ପରଲୋକରେ ବର୍ଷିଆନ ଅଭିନେତା ମିହିର ଦାସ । ୬୩ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସେ । କିଛି ଦିନ ଧରି ଅସୁସ୍ଥତା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ମଙ୍ଗଳବାର ତାଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଯାଇଥିଲା । ଡାକ୍ତରଙ୍କ ସମସ୍ତ ଚେଷ୍ଟା ପରେ ବି ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇନାହିଁ ।

ମିହିରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଏହାସହ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।

ସୂଚନାଯୋଗ୍ୟ, କିଛି ଦିନ ତଳେ ମିହିର ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । କିଡନୀ ସଂକ୍ରମଣ ଯୋଗୁଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ମିହିରଙ୍କର ଏକାଧିକ ଅଙ୍ଗ ସଂକ୍ରମିତ ହୋଇଥିଵା ସୂଚନା ଦେଇଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ସେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ପୂର୍ବରୁ କିଡ୍‌ନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଡିସେମ୍ୱର ୭ ତାରିଖରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା ।

ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୫୯ ଫେବ୍ରୁଆରୀ ୧୧ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର । ସେ ପ୍ରାୟ ୧୫୦ଟିରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ ।

Spread the love