ଆଗୁଆ ଜାମିନ ଲୋଡି ହାଇକୋର୍ଟରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ

କଟକ: ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶେଶ୍ବର ଟୁଡୁ । ବାରିପଦା ଟାଉନ ଥାନାରେ ଗତ ଜାନୁଆରୀ ମାସରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ମନ୍ତ୍ରୀ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା । ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା । ଏହି ଘଟଣାରେ ପୋଲିସ ତଦନ୍ତ କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।

Spread the love