ଲଘୁଚାପ ଯୋଗୁଁ ୩ ଜିଲ୍ଲାକୁ ‘ରେଡ୍‌’ ଓ୍ଵାର୍ଣ୍ଣିଂ ଏବଂ ୨୩ ଜିଲ୍ଲାକୁ ସର୍ତକ ସୂଚନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ମୌସୁମୀ ସକ୍ରିୟ ହୋଇଛି।ଗତକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଆଜି ସକାଳେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବ ଦେଖିବାକୁ ମିଳିଛି। ଲଘୁଚାପଟି ଆହୁରି ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ। ଲଘୁଚାପଟି  ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହେଉଛି। ଏହାସହିତ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ହେଉଛି। ତେଣୁ ହୀରାକୁଦରେ ଜଳସ୍ତର ବଢ଼ୁଥିବାରୁ ଗତକାଲି ଠାରୁ ୨ ଟି ଗେଟ୍‍ ଖୋଲାଯାଇଛି। ଯାହାଫଳରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାର ଆଶଙ୍କା ସୃଷ୍ଟି ହୋଇଛି। ଅନ୍ୟପଟେ ଲଘୁଚାପର ପ୍ରଭାବକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଗଜପତି, ଗଂଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ‘ରେଡ୍‌’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’  ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଲ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ତେଣୁ ଏହି ୧୨ଟି ଜିଲ୍ଲା ପାଇଁ ‘ୟେଲୋ’ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ।ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା  ହୋଇପାରେ। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଉଥିବାରୁ ସମୁଦ୍ର ଅଶାନ୍ତ ରହିବ। ଏଣୁ ୧୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Spread the love