ଆଜି ପବିତ୍ର ଶାମ୍ବ ଦଶମୀ

ଆଜି ପବିତ୍ର ଶାମ୍ବ ଦଶମୀ । ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟ ପୂଜାର ପର୍ବ, ଯେପରି କୁମାର ପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ ।

ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ । କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ରେ ପନିପରିବାରେ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ଥାଏ । ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ “ଘଡ଼ଘଡ଼ା ତିଅଣ” କୁହାଯାଏ । ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ । 

ନାରୀମାନେ ନିଜ ସନ୍ତାନ ସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି । ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟ ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ । ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ । ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି । ଏହି ବ୍ରାହ୍ମମୁହୂର୍ତ୍ତରେ ପୂଜା ନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର‌୍ୟ୍ୟପୁରାଣ ପାରାୟଣ କରିଥାନ୍ତି ।

ମଧ୍ୟାହ୍ନରେ ମଧ୍ୟାହ୍ନ ସୂର‌୍ୟ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ । ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ । ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ । ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟ ଦେବଙ୍କ ନିମିତ୍ତ । ଏହି ଧୂପରେ ମଧ୍ୟ ଏଣ୍ଡୁରି , କାକରା, ମାଲପୁଆ, ଗଜା ଆଦି ନୈବେଦ୍ୟ ଅର୍ପଣ କରାଯାଇଥାଏ ।

Spread the love