୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୨୪ ଜୁଲାଇରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଗତକାଲିର ଘୂର୍ଣ୍ଣିବଳୟ ଆଜି (ରବିବାର) ଦକ୍ଷିଣ ଓଡିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି।

ମୌସୁମୀ ନିମ୍ନଚାପ ରେଖା ଆଜି ଗୁଜୁରାଟର ଦେସାରୁ ବାହାରି ରତଲମ୍‌, ବେତୁଲ, ବ୍ରହ୍ମପୁରୀ, କାଙ୍କେର, ଆନ୍ଧ୍ର-ପ୍ରଦେଶର କଳିଙ୍ଗପାଟନମରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୪ ଜୁଲାଇ, ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର (୭ରୁ ୧୧ ସେମି) ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ହଳଦିଆ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ରବିବାର) ଆକାଶ ଆଂଶିକ ମେଘାଛନ୍ନ ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

Spread the love