ଆଜି ୧୯ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରାୟ ୧୯ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। କେନ୍ଦ୍ରର ସୂଚନା ଅନୁଯାୟୀ, ରବିବାର କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ନୟାଗଡ଼, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗର ପବନ ବହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହିପରି ୧୩ ତାରିଖରେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି।

Spread the love