ରାଜ୍ୟରେ ଏକାକୀ ନିର୍ବାଚନ ଲଢ଼ିବ ବିଜେଡି: ପ୍ରଣବ

ଭୁବନେଶ୍ବର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସାମାଜିକ ଗଣମାଧ୍ୟମରେ ପୋଷ୍ଟ ପରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ସନ୍ଧ୍ୟାରେ ଆଗାମୀ ସାଧାରଣ ନିର୍ବାଚନ ନେଇ ମୁହଁ ଖୋଲିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ମାଧ୍ୟମରେ ଏକ ପୋଷ୍ଟ କରି ସେ କହିଛନ୍ତି, ବିଜେଡି ରାଜ୍ୟର ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବ। ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ। ଶ୍ରୀ ଦାସ କହିଛନ୍ତି ଯେ, ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ।

ସୂଚନାଯୋଗ୍ୟ, ମନମୋହନ ସାମଲ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ଓଡ଼ିଶାର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଥିଲେ। ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ। କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡ଼ିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି। ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ ।

Spread the love