ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ସାଢ଼େ ୩ କୋଟି ଲୋକେ ପାଇବେ ସ୍କାର୍ଟ ହେଲଥ୍‌ କାର୍ଡ

୭୫ତମ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ରାଜ୍ୟ । ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ । ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ । ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ବହୁତ କଷ୍ଟ ଲାଗେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ ହେବା ନେଇ ନିଷ୍ପତ୍ତି ହୋଇଛି । ଓଡିଶାବାସୀଙ୍କୁ ସ୍ୱାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ ବୋଲି ଆଶା ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

Spread the love