ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ: ରାଜ୍ୟ ଏବେ ଭଲ ସ୍ଥିତିରେ, ନିୟମ ନମାନିଲେ ଲକଡାଉନ୍

ଭୁବନେଶ୍ବର ୪/୦୮: ତୃତୀୟ ଲହରକୁ ନେଇ ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ବିପଦ ଏଯାଏଁ ଦୂର ହୋଇନାହିଁ। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି। ରୂପ ବଦଳାଇ ଭୂତାଣୁ ଆକ୍ରମଣ କରିବାର କ୍ଷମତା ରଖିଛି। ତୃତୀୟ ଲହର ଆମ ପାଇଁ ବିପଦ ସୃଷ୍ଟି କରିପାରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ପ୍ରକାର ଢିଲା ଆଭିମୁଖ୍ୟ ଗୁରୁତର ହୋଇପାରେ । ଏହା ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ବୁଧବାର ସନ୍ଧ୍ୟାରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କହିଛନ୍ତି , ଅନ୍‌ଲକ୍ ପରେ କେତେକ ମାର୍କେଟରେ ବହୁତ ଭିଡ ହେଉଛି ।

ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ । ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।

ଏହା ବ୍ୟତୀତ ମୁଖ୍ୟମନନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଏପର୍ଯ୍ୟନ୍ତ ଯୁଦ୍ଧ ସମାପ୍ତ ହୋଇନାହିଁ। ଦେଶର ଅନ୍ୟ ରାଜ୍ୟଗୁଡ଼ିକରେ କରୋନା ମାମଲା ବୃଦ୍ଧିପାଉଛି। ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍ ହେଉଛି । କରୋନା ଭୂତାଣୁ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହ ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ପ୍ରକୋପକୁ କମ୍ କରିଦେଇପାରିବା ।

Spread the love