ଜମିଜମା ସମସ୍ୟାର ତୁରନ୍ତ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଝାରସୁଗୁଡ଼ାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା। ଆଜି ସିକିମ ରୟତମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେଲୋକଙ୍କଠାରୁ ଜମିଜମା ସଂପର୍କିତ ଅନେକ ଅଭିଯୋଗ ପାଇଥିଲେ।  ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା ଏହିପରି ଅନେକ ସମସ୍ୟା ସଂପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଲୋକଙ୍କ ବହୁ ବର୍ଷର ଜମି ସମସ୍ୟାର ସମାଧାନ ପାଇଁ ବାଟ ଫିଟିଛି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନି ଥର ବୈଠକ ଅନୁଷ୍ଠିତ ହୋଇଥିଲା। ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସଂପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ,  ଆଇନ ସଚିବ ମାନସରଂଜନ ବାରିକ,  ଗଞ୍ଜାମ, ସମ୍ବଲପୁର, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି।

Spread the love