ଆପଣମାନଙ୍କ ସୁଖଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ‌ଯୋଜନା (ବିଏସ୍‌କେୱାଇ) ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ଦେଇଛନ୍ତି। ରାଜ୍ୟ ସରକାରଙ୍କ ୫ଟି ଉପକ୍ରମରେ କାର୍ଯ୍ୟକାରୀ ହୋଇଥିବା ଏହି କାର୍ଡ ମାଧ୍ୟମରେ ମେ’ ମାସ ପହିଲା ଠାରୁ ହିତାଧିକାରୀମାନେ ଏଥୁରୁ ସୁବିଧା ପାଇବେ। ରାଜ୍ୟ ସରକାରଙ୍କ ୫ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର। ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି। ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି। ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, କ୍ୟାସ୍‌ଲେସ୍‌ ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇ କହିଲେ ଯେ ୫ଟିରେ କାର୍ଯ୍ୟକାରୀ ହେଉଥିବା ବିଏସ୍‌କେୱାଇ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। ୫ଟି ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି ୫ଟି ମନ୍ତ୍ର ଉପରେ ରାଜ୍ୟବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ ବିଏସ୍‌କେୱାଇ ନବୀନ କାର୍ଡରେ ସାମିଲ କରାଯିବ ବୋଲି ସେ କହିଥିଲେ। ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ।

Spread the love