ମେ ୫ରେ ସୃଷ୍ଟି ହୋଇପାରେ ଲଘୁଚାପ
ଭୁବନେଶ୍ବର: ମେ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଆଜି ସୂଚନା ଦିଆଯାଇଛି ।ଏତଦ ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି ଯାଏଁ ତାତି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରି ରେକର୍ଡ କରାଯାଇଥିଲା । ଏପ୍ରିଲ ୨୯ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।ସେହିପରି ଏପ୍ରିଲ ୩୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲା ବି ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି । ଏହି ସମୟରେ ଅସୁସ୍ଥ ଥିବା ଲୋକଙ୍କ ସହିତ ନବଜାତ ଓ ବୃଦ୍ଧଙ୍କ ପ୍ରତି ଅଧିକ ଯତ୍ନଶୀଳ ହେବାକୁ ହେବ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଜରୁରୀ ନଥିଲେ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି ।