ଆଜି ପୌଷ ପୂର୍ଣ୍ଣିମା

ପୁରୀ ୧୭।୦୧: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି। ଏହି ଅବସରରେ ରତ୍ନସିଂହାସନରେ ଶ୍ରୀଜିଉମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହେବେ। ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ମହାଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ। ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ।

ଏହାପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ ସହ ହରିଡ଼ାମାଳ, ବାହାଡା ମାଳି, ସେବତୀ ମାଳି, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ୍ଣ ଅଳଙ୍କରରେ ମହାପ୍ରଭୁ ମାନେ ବିଭୂଷିତ ହେବେ। କୋଭିଡ କଟକଣା ଯୋଗୁଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ କେବଳ ସେବାୟତ ଓ ତାଙ୍କ ପରିବାର ସଦସ୍ୟ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାର ସୁଯୋଗ ପାଇବେ।

ଅନ୍ୟପଟେ ଆଜି ମଧ୍ୟ ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ରାଜନଅରରେ ଅନୁଷ୍ଠିତ ହେବ। ପଞ୍ଚଦେବତା ପୂଜାଠାରୁ ଆରମ୍ଭ କରି ଶାସ୍ତ୍ରୀୟ ପୂଜା ପରେ ଗଜପତି ମହାରାଜ ଅଭିଷେକ ହେବେ। ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତ ମାନେ ନଡ଼ିଆ, ପଇତା ପ୍ରଦାନ କରିବା ସହ ମହାରାଜାଙ୍କୁ ଆଶୀର୍ବାଦ ଦେବେ। ଗଜପତିଙ୍କ ଶାସନ ଶୁଭ ଓ ମଙ୍ଗଳପ୍ରଦ ହେବା ସହ ଜଗତର କଲ୍ୟାଣ ପାଇଁ ଏହି ନୀତି କରାଯାଉଥିବା ବେଳେ ଏନେଇ ବ୍ରାହ୍ମଣ ମାନେ ଆଶିଷ ମଧ୍ୟ ଦେଇଥାନ୍ତି। ଏହାସହ ଆଜି ସନ୍ଧ୍ୟାରେ ସ୍ବର୍ଗଦ୍ବାର ସମ୍ମୁଖ ମହୋଦଧିରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଦ୍ଵାରା ମହୋଦଧି ଆରତୀ ଅନୁଷ୍ଠିତ ହେବ।

Spread the love