ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନବନ୍ଦରରେ ଭବ୍ୟସ୍ୱାଗତ ସମ୍ୱର୍ଦ୍ଧନା

ଭୁବନେଶ୍ୱର ୧୦/୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗାର୍ଡ ଅପ୍ ଅନର ସହ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦେଇ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ ଓ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ପ୍ରମୁଖ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ।

ଏହା ପରେ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ସାଢ଼େ ୧୦ଟାରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ କାରକେଡ୍ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଯିବେ ରାଷ୍ଟ୍ରପତି । ଶ୍ରୀମନ୍ଦିରରେ ପାଖାପାଖି ଏକ ଘଣ୍ଟା ରହିବେ ଦ୍ରୌପଦୀ ମୁର୍ମୁ । ମହାପ୍ରଭୁଙ୍କ ଦର୍ଶନ ସାରି ସାଢ଼େ ୧୧ଟାରେ ରାଷ୍ଟ୍ରପତି ସିଂହଦ୍ବାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଏବଂ ସେଠାରୁ ସିଧା ରାଜଭବନ ବାହାରିବେ। ୧୨ଟାରେ ରାଜଭବନରେ ପହଞ୍ଚି ସେଠାରେ ସେ ମହାପ୍ରସାଦ ସେବନ କରିବେ ରାଷ୍ଟ୍ରପତି।

ଏହାପରେ ଅପରାହ୍ନ ୨ଟା ୧୦ରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିବେ। ଦିନ ୨ଟା ୫୦ରେ ଭୁବନେଶ୍ବରରେ ପହଞ୍ଚି ୩ଟା ୧୫ରୁ ୪ଟା୧୫ଟା ମଧ୍ୟରେ ବିଭିନ୍ନ ଛକରେ ଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ। ରାଜଧାନୀର ୬ଟି ଭିନ୍ନ ଭିନ୍ନ ସ୍ଥାନରେ ଥିବା ୮ଜଣ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି।

Spread the love