ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ହେବ ଝଡ଼ବର୍ଷା ସହ କାଳବୈଖାଖୀ: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ, ଏହି ସମୟ ମଧ୍ୟରେ ଦିନ ସମୟରେ ଆକାଶରୁ ନିଆଁ ବର୍ଷିବା ସହ ଅପରାହ୍ନ/ ସନ୍ଧ୍ୟା ବେଳକୁ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୦ ତାରିଖ ଶନିବାର ଅପରାହ୍ନ ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Spread the love