ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଓ ୬ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ମଧ୍ୟ ଜାରି ରହିବ। ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତି ଗୁଳୁଗୁଳିରେ ସନ୍ତଳି ହେବେ। ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୭ତାରିଖ ଶନିବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି ଓ କୋରାପୁଟ ପ୍ରଭୃତି ୮ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ କାଳରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଆସନ୍ତା କାଲି ଅର୍ଥାତ୍‌ ୧୭ ତାରିଖରେ ଦିନ ସମୟରେ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁର ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, କଟକ, ଖୋର୍ଦ୍ଧା, ନୂଆପଡ଼ା ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରାଯାଇଛି।

Spread the love