ଆଜି ବିଶ୍ୱକର୍ମା ପୂଜା

ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ସାରା ରାଜ୍ୟ । ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ବିଶ୍ୱକର୍ମାଙ୍କ ଆରାଧନା । ରାଜ୍ୟର ପରାଦ୍ୱୀପ, ଅନୁଗୁଳ ଓ ରାଉରକେଲା ଧୁମ୍‌ଧାମ୍‌ରେ ପାଳିତ ହେଉଛି ପୂଜା । ସହରରେ ଶୋଭାପାଉଛି ସୁସଜ୍ଜିତ ପୂଜା ମଣ୍ଡପ ।

ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା । ପୁରାଣ ଅନୁସାରେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।

Spread the love