ଆଜି ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଆଜି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ବୁଧବାର ବୈଶାଖ କୃଷ୍ଣ ଦଶମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ । ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ ।